ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ହେଲା ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟର ନାମ ବଦଳିଲା। ଆଜି ଠାରୁ ଏହାର ନାମ ହୋଇଛି ‘ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜ ଦେଓ ବିଶ୍ବବିଦ୍ୟାଳୟ’। ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ସଙ୍ଗେ ସଙ୍ଗେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ରଂଜନ ମଙ୍ଗରାଜ ଏହି ବଡ଼ ଘୋଷଣା ସଂପର୍କରେ ଗଣମାଧ୍ୟମକୁ ଜଣାଇଥିଲେ। ବିଶ୍ବବିଦ୍ୟାଳୟର ନୂଆ ନାମକରଣ ସହ ଏଠାରେ ଥିବା ପାଠାଗାର ଉନ୍ନତୀକରଣ ପାଇଁ ସରକାର ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏଥି ପାଇଁ ମଧ୍ୟ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ କରାଯାଇଛି। ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ପାଠାଗାରର ବିକାଶ ପାଇଁ ପଦକ୍ଷେପ ନିଆଯିବ। ପାଠାଗାରର ନବୀକରଣ ପାଇଁ ମୟୂରଭଞ୍ଜ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ସଂସ୍କୃତି ନିର୍ଦ୍ଦେଶକ ରଂଜନ ଦାସ। ନବୀକରଣ କାର୍ଯ୍ୟ ନିମନ୍ତେ ଆବଶ୍ୟକ ବ୍ୟୟ ଅଟକଳ କରି ପଠାଇବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ଭଞ୍ଜ ମାଟିର ସୁବର୍ଣ୍ଣ ଯୁଗର ପ୍ରବର୍ତ୍ତକ ତଥ‌ା ଆଧୁନିକ ଓଡ଼ିଶାର ଅନ୍ୟତମ ବିନ୍ଧାଣୀ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜ ଦେଓଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ସରକାରୀ ସ୍ତରରେ ତତ୍ପରତା ପ୍ରକାଶ ପାଉ ନ ଥିବା ସମ୍ପର୍କରେ ଗତ ୧୬ ତାରିଖରେ ‘ସମ୍ବାଦ’ରେ ଖବର ପ୍ରକାଶିତ ହୋଇଥିଲା। ବୁଦ୍ଧିଜୀବୀ ଓ ସଚେତନ ନାଗରିକମାନେ ଏ ସମ୍ପର୍କରେ ଉଦ୍‌ବେଗ ପ୍ରକାଶ କରିଥିଲେ। ଏହା ପରେ ଉଭୟ ସରକାରୀ ଓ ରାଜନୈତିକ ସ୍ତରରେ ତତ୍ପରତା ପ୍ରକାଶ ପାଇଥିଲା। ମୟୂରଭଞ୍ଜ ଜିଲ୍ଲା ବିଜେଡି ପକ୍ଷରୁ ଶ୍ରୀରାମଚନ୍ଦ୍ର ଭଞ୍ଜ ଦେଓଙ୍କ ନାମରେ ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟର ନାମକରଣ ନେଇ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିଲା। ଜିଲ୍ଲା ବିଜେପି ପକ୍ଷରୁ ମଧ୍ୟ ସମାନ ଦାବି କରାଯାଇଥିଲା।

Leave A Reply

Your email address will not be published.